ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ – ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍‌ଘାଟିତ…

👇खबर सुनने के लिए प्ले बटन दबाएं

ଆରମ୍ଭ ହେଲା ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ…

ଭୁବନେଶ୍ୱର,k7khabar: ଆଜି ଆରମ୍ଭ ହୋଇଛି ଓଡିଆ ଭାଷାର ମହାକୁମ୍ଭ ତଥା ଓଡିଆ ଭାଷାର ମହୋତ୍ସବ। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ଏହି ସମ୍ମିଳନୀ ସହ ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡିଆ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡିଆ ଭାଷାର ଏହି ମହୋତ୍ସବରେ ପରୋକ୍ଷ ବା ପ୍ରତ୍ୟକ୍ଷ ଭାବେ ସାମିଲ ହୋଇଛନ୍ତି। ଏହି ସମ୍ମିଳନୀରେ ଯାହା ପ୍ରସ୍ତାବ ଆସିବ, ରାଜ୍ୟ ସରକାର ତାକୁ ଗ୍ରହଣ କରି ଏକ ସ୍ବତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଓଡିଆ ଜାତିର ଭବିଷ୍ୟତ ବିକାଶ ରାସ୍ତାକୁ ଏହା ପ୍ରଶସ୍ତ କରିବ ବୋଲି ମତଦେଇ ଓଡିଆ ଜାତିର ଓ ଓଡିଆ ଭାଷାର ଭବିଷ୍ୟତ ଉଜ୍ଜଳ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଛନ୍ତି।

ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି ନୂଆ ସଂସ୍କୃତି ଓ ବୈଷୟିକ ଜ୍ଞାନର ପ୍ରଭାବ ଭାଷା ଉପରେ ପଡୁଛି। ତେଣୁ ଭାଷାର ସବୁ ଦିଗ ଉପରେ ଆଲୋଚନା କରାଯାଉ ଏବଂ ଭଳ ସାହିତ୍ୟ ସୃଷ୍ଟି ଉପରେ ଓ ଓଡିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ ବୋଲି ମତ ପ୍ରକାଶ କରିବା ସହ ଏହି ସମ୍ମିଳନୀରେ ଆମେ ଆମ ଭାଷାର ଇତିହାସକୁ ଜାଣିବା, ବର୍ତ୍ତମାନକୁ ଦେଖିବା ଓ ଭବିଷ୍ୟତ ପାଇଁ ରାସ୍ତା ତିଆରି କରିବା ବୋଲି କହିଛନ୍ତି।ଓଡିଶା ଭାଷା ଏକ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବାରୁ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି ଭାଷା ହିଁ ଭବିଷ୍ୟତ। ଓଡିଆ ଭାଷାର ଉନ୍ନତି ପାଇଁ ଓଡିଆ ବିଶ୍ବବିଦ୍ୟାଳୟ ଖୋଲାଯାଇଛି । ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ଓଡିଆ ଭାଷା ଶିକ୍ଷାକୁ ଉତ୍ସାହିତ କରାଯାଉଛି।

ଏହି ଅବସରରେ ଆଦିକବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହ ଓଡିଆ ଭାଷାର ଗୌରବ ବୃଦ୍ଧି କରିଥିବା ସବୁ ଲେଖକ, ସାହିତ୍ୟିକ ଓ କବି ମାନଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କର ସମ୍ମାନ ଜଣାଇ ଭାଷା ସମ୍ମିଳନୀକୁ ସମସ୍ତଙ୍କୁ ସ୍ବାଗତ କରିବା ସହ ଆଜି ଆମେ ସମସ୍ତେ ଗୋଟିଏ ମଞ୍ଚରେ ଓଡିଆ ଭାଷା ପାଇଁ ଏକାଠି ହୋଇଛୁ ବୋଲି କହିଛନ୍ତି। ଦେଶ ବିଦେଶରେ ଥିବା ଓଡିଆ ମାନେ ମଧ୍ୟ ଏଥିରେ ଯୋଡି ହୋଇଛନ୍ତି । ବିଶିଷ୍ଟ ଲେଖକ ଓ ଗବେଷକମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ତେଣୁ ଓଡିଆ ଭାଷା ଓ ସାହିତ୍ୟ ପାଇଁ ଏହା ଏକ ଗୌରବର ସମୟ। ଓଡ଼ିଆ ଆମ ଭାଷା ଓ ଆମ ପରିଚୟ ବୋଲି ମତ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି ଭାଷା ଗୋଟିଏ ଜାତିର ମୁକୁଟ, ଏହା ଆମ ସମସ୍ତଙ୍କୁ ଏକତାର ମହାମନ୍ତ୍ର ଦେଇଥାଏ। ଶେଷରେ ଓଡିଆ ଭାଷାର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି। ଏହି ସମ୍ମିଳନୀର ପ୍ରସଙ୍ଗ ରହିଛି ଭାଷା ହିଁ ଭବିଷ୍ୟତ। ଆଜି ଏହି ସମ୍ମିଳନୀରେ ୪ଟି ଦେଶର ଭାଷା ବିଶେଷଜ୍ଞଙ୍କ ସମେତ ୧୦୦ରୁ ଉର୍ଦ୍ଧ୍ବ ବିଦ୍ବାନ ଏକତ୍ରିତ ହୋଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଛନ୍ତି। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରିବା ସହ। ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି।

 

Leave a Comment

  • 7k Network
  • best news portal development company in india
  • UPSE Coaching
Verified by MonsterInsights